Tuesday, October 15, 2019

ସସେମିରା କଥା...

ଦିନେ ଭୋଜରାଜଙ୍କ ପୁତ୍ର ପାରିଧୀ କରିବାକୁ ଯାଇଥିଲେ କିନ୍ତୁ ନଅରକୁ ଫେରି ନ ଆସି ରାତ୍ରହେବାରୁ ନିବିଡ଼ ଅରଣ୍ୟ ମଧ୍ୟରେ ଅଗତ୍ୟା ରହିଗଲେ ।

ରାତି ହୋଇଯିବାରୁ ଜଙ୍ଗଲର ବିଭିନ୍ନ ହିଂସ୍ରଜନ୍ତୁଙ୍କ ଠାରୁ ରକ୍ଷା ପାଇବା ହେତୁ ସେ ଏକ ଭାଲୁ ସହ ମିତ୍ରତା କଲେ । ରାଜପୁତ୍ର ଓ ଭାଲୁ ଦୁହେଁ ଗୋଟିଏ ଗଛ ଉପରେ ଚଢ଼ି ରାତ୍ରୀଯାପନ କଲେ ।

ରାତ୍ରୀର ପ୍ରଥମ ଅଂଶରେ ଭାଲୁ ତା ଗୋଡ଼କୁ ଲମ୍ଵେଇ ଗଛଡାଳରେ ବସିଲାଓ ରାଜପୁତ୍ର ଭାଲୁର କୋଳରେ ସୁଖନିଦ୍ରା ଗଲେ । ଏହି ସମୟରେ ଗଛ ତଳକୁ ବାଘ ଆସି ଭାଲୁକୁ ବିନତି କରି କହିଲା…

“ତୁ ଗୋଡ଼କୁ ଖସାଇ ଦେ;ରାଜପୁତ୍ର ତଳକୁ ପଡି଼ଗଲେ ମୁଁ ତାକୁ ଖାଇବି”

କିନ୍ତୁ ଭାଲୁ କହିଲା

“ରାଜପୁତ୍ର ମୋର ମିତ୍ର,ମୁଁ ମିତ୍ରଦ୍ରୋହ କରିବିନି”

ଏହା ଶୁଣି ବାଘ ଫେରିଗଲା ହେଲେ ଗଲାବେଳେ କହିଗଲା
“ଆରେ ଦୁଇଗୋଡି଼ଆ(ମଣିଷ)ଙ୍କୁ ଭରସା ନାହିଁ”

ରାତ୍ରୀର ଶେଷାଂଶକୁ ରାଜପୁତ୍ର ଚେଇଁବ ଓ ଭାଲୁ ଶୋଇବ,ଏହିପରି କଥା ଆଗରୁ ଠିକ୍ ହୋଇଥିବାରୁ ରାଜପୁତ୍ର ନିଦରୁ ଉଠି ଗଛ ଉପରେ ଗୋଡ଼ ଲମ୍ବାଇ ବସିଲା ଏବଂ ଭାଲୁ ତାକୋଳରେ ଶୋଇଲା ।

କିନ୍ତୁ ବାଘର ପୂର୍ବ କଥିତ ଉପଦେଶ ମନେରଖି ରାଜପୁତ୍ରର ଅଜ୍ଞାତସାରରେ ଆପଣା ନଖକୁ ଗଛ କୋରଡ଼ରେ ବିଦ୍ଧ କରିଦେଇଥାଏ । ପାହାନ୍ତା ହେଲାବେଳକୁ ବାଘ ଆସି ରାଜାପୁଅକୁ କହିଲା
“ଆରେ ଭାଲୁ ଟା ହିଂସ୍ରଜନ୍ତୁ,ସେ ତୋତେ ଖାଇଯିବ;ତୁ ଗୋଡ଼ ଛାଡି଼ ଦେ,ଭାଲୁ ଟା ଖସିପଡୁ଼,ମୁଁ ତାକୁ ଖାଇଯିବି !”

ରାଜାପୁଅ ଏକଥା ଶୁଣି ଗୋଡ଼ ଟା ଖସେଇ ଦେଲା ହେଲେ ଭାଲୁ ଆଗରୁ ଗଛ କୋରଡ଼ରେ ନଖ ବିଦ୍ଧ କରିଥିବାରୁ ତଳେ ନପଡି ଯାଇ ଅଳ୍ପକେ ବର୍ତ୍ତିଗଲା ।

ସକାଳ ହେଲାରୁ ଭାଲୁ ରାଜପୁତ୍ର କୁ କହିଲା

“ତୁ ମିତ୍ରଦ୍ରୋହୀ ହେଲୁ କିନ୍ତୁ ମୁଁ ହେବି ନାହିଁ ସେଥିପାଇଁ ତୋତେ ପ୍ରାଣଦଣ୍ଡ ନଦେଇ ଛାଡ଼ି ଦେଉଛି”

ତହିଁପରେ ଭାଲୁ ରାଜପୁତ୍ର ଜିଭରେ ଚାରୋଟି ଅକ୍ଷର ଲେଖିଦେଲା

“ସ-ସେ-ମି-ରା”…

ତହୁଁ ରାଜପୁତ୍ର ପାଗଳ ହୋଇ ବୁଲିଲା…
ସେ ଖାଲି ସସେମିରା ସସେମିରା କହୁଥାଏ ।

କେତେଦିନ ପରେ ରାଜପୁତ୍ର ର ସନ୍ଧାନ ପାଇ ଭୋଜରାଜ ତାକୁ ରାଜନବର କୁ ଅଣାଇଲେ …
ହେଲେ ରାଜପୁତ୍ର ପ୍ରଗଳ୍ଭ ହୋଇଯାଇଥାଏ । ତାକୁ ଭଲ କରିବା ପାଇଁ ବହୁଚେଷ୍ଟା କରି ବିଫଳ ହେଲାରୁ ଶେଷରେ ରାଜା ଦେଶଯାକରେ ଘୋଷଣା କଲେ ଯେ କେହି ଯଦି ତାଙ୍କ ପୁତ୍ରକୁ ଭଲ କରିଦେବ ତାକୁ ସେ ତାଙ୍କ ରାଜ୍ୟରୁ ଅର୍ଦ୍ଧେକ ଦେବେ…

ଏହାର ବହୁ ପୂର୍ବରୁ ଭୋଜରାଜ ତାଙ୍କ ସ୍ତ୍ରୀଙ୍କର ଆବୃତ୍ତ ଅଙ୍ଗରେ ତିଳଚିହ୍ନ ଥିବା ବିଷୟକ କଥା କହିଥିବାରୁ କାଳିଦାସଙ୍କୁ ଦେଶାନ୍ତର ଦଣ୍ଡ ଦେଇଥିଲେ ହେଲେ ଭୋଜରାଜଙ୍କ ମନ୍ତ୍ରୀ ଗୁପ୍ତରେ ତାଙ୍କ ଗୃହରେ ଆଶ୍ରୟ ଦେଇଥାନ୍ତି…

ରାଜାଙ୍କ ପୁତ୍ର ଅସୁସ୍ଥ ହେବା ତଥା ରାଜାଙ୍କ ଘୋଷଣା କଥା ଶୁଣି ମନ୍ତ୍ରୀଙ୍କୁ କାଳିଦାସ କହିଲେମୁଁ ନାରୀବେଶ ଧାରଣକରି ଆପଣଙ୍କ ସହିତ ନଅରକୁ ଯିବି ଆପଣ ରାଜାଙ୍କୁ କହିବେ ଏ ମୋର କନ୍ୟା ଏବଂ ଏ ଆପଣଙ୍କ ପୁତ୍ର କୁ ଠିକ୍ କରିଦେବ…

ତାହା ହିଁ ହେଲା …

ମନ୍ତ୍ରୀ ଜଣକସ୍ତ୍ରୀବେଶଧାରୀ ଅବଗୁଣ୍ଠିତ କାଳିଦାସଙ୍କୁ ନେଇନଅର ପହଞ୍ଚିଲେ …

ରାଜା ସବୁ ଶୁଣି ଆଦେଶ ଦେଲାରୁଅବଗୁଣ୍ଠିତ କାଳିଦାସ ରାଜପୁତ୍ର କାନରେ‛ସସେମିରା’ର ଆଦ୍ୟ ଅକ୍ଷର ବିଶିଷ୍ଟ ଚାରୋଟି ପୂର୍ଣ୍ଣାବୟବ ଶ୍ଳୋକ ବୋଇଲେ ...

1.ସ→

●ସଦ୍ଭାବ ପ୍ରତିପନ୍ନାନାଂ ବଞ୍ଚନେ କା ବିଦଗ୍ଧତା ।
ଅଙ୍କ ମାରୁହ୍ୟ ସୁପ୍ତାନାଂ ହନ୍ତୁଃ କିମ୍ ନାମ ପୌରୁଷମ୍ ।। ●

(ଯେଉଁ ମାନେ ଏକାନ୍ତ ବିଶ୍ଵସ୍ତ,ସେମାନଙ୍କୁ ପ୍ରତାରଣା କରିବା କି ପାଣ୍ଡିତ୍ୟ ? ଯେଉଁ ମାନେ ଅଙ୍କକୁ ଆଶ୍ରୟ କରି ଶୋଇଥାଅନ୍ତି ତାଙ୍କୁ ମାରିଦେଲେ ହତ୍ୟାକାରୀର ପୌରୁଷ ପ୍ରକାଶ ପାଏ କି ?)

2.ସେ→
●ସେତୁଂଗତ୍ଵା ସମୁଦ୍ରସ୍ୟ ଗଙ୍ଗାସାଗରସଙ୍ଗମମ୍ ।
ବ୍ରହ୍ମହା ମୁଚ୍ୟତେ ପାପାତ୍ ମିତ୍ରଦ୍ରୋହୀ ନ ମୁଚ୍ୟତେ ।।●

(ସେତୁବନ୍ଧ ରାମେଶ୍ଵର କୁ ଗଲେ କି ଗଙ୍ଗା ସାଗରରେ ସ୍ନାନ କଲେ ବ୍ରହ୍ମହତ୍ୟା ପାପି ମୁକ୍ତ ହୋଇପାରେ କିନ୍ତୁ ମିତ୍ରଦ୍ରୋହୀ ମୁକ୍ତ ହୁଏ ନାହିଁ)

3.ମି→

●ମିତ୍ରଦ୍ରୋହୀ କୃତଘ୍ନଶ୍ଚ ଯେ ଚ ବିଶ୍ଵାସଘାତକାଃ ।
ତେ ସର୍ବେ ନରକଂ ଯାନ୍ତି ଯାବଚ୍ଛନ୍ଦ୍ରଦିବାକରୌ ।।●

(ଯେଉଁ ମାନେ ମିତ୍ରଦ୍ରୋହୀ,କୃତଘ୍ନ ଓ ବିଶ୍ଵାସଘାତକସେମାନେ ସୂର୍ଯ୍ୟ ଚନ୍ଦ୍ର ଥିଲା ଯାଏଁ ନରକ ଗାମୀ ହେଥିବେ)

4.ରା→
●ରାଜଂସ୍ତ୍ଵଂ ନିଜ ପୁତ୍ରସ୍ୟ ଯଦି କଲ୍ୟାଣମିଚ୍ଛସି ।
ଦେହି ଦାନଂ ଦ୍ବିଜାତିଭ୍ୟୋ ଦେବତାରାଧନଂ କୁରୁ ।।●

(ହେ ରାଜନ୍ ଯେବେ ତୁମ୍ଭ ନିଜ ପୁତ୍ରର ମଙ୍ଗଳ ଇଛା କର ତେବେ (ମିତ୍ରଦ୍ରୋହୀ ପାପର ପ୍ରାୟଶ୍ଚିତ ସ୍ଵରୂପ)ବ୍ରାହ୍ମଣଙ୍କୁ ଦାନ ଦିଅ ଓ ଦେବ ଆରାଧନା କର)

ରାଜପୁତ୍ର ,ସ୍ତ୍ରୀ ବେଶଧାରୀ କାଳିଦାସଙ୍କ ଠାରୁଚାରୋଟି ଅକ୍ଷରର ଚାବି ସ୍ଵରୂପ ଚାରୋଟି ଶ୍ଲୋକ ଶୁଣିଲା ମାତ୍ରକେ ତାହାର ବାତୁଳପଣଛାଡି଼ଗଲା । ତତ୍ ପରେ ସେ ଉକ୍ତ ଦିନ ଘଟିଥିବା ଘଟଣାମାନ ଭୋଜରାଜଙ୍କୁ କହିବସିଲା…

ଭୋଜରାଜ ଏସବୁ ଶୁଣି ଆଶ୍ଚର୍ଯ୍ୟ ଚକିତ ହୋଇ ସ୍ତ୍ରୀ ବେଶଧାରୀ କାଳିଦାସଙ୍କୁ ଉପଲକ୍ଷ୍ୟ କରି ବୋଇଲେ

“ଗୃହେ ବସତି କୌମାରି ! ଅଟବ୍ୟାଂ ନୈବ ଗଚ୍ଛସିଋକ୍ଷବ୍ୟାଘ୍ର ମନୁଷ୍ୟାଣାଂ କଥଂ ଜାନାସି ଭାଷିତଂ ।।
(ହେ କୁମାରୀ ! ତୁ ତ ଘରେ ରହୁ ଅଟବ୍ୟାଂ ବା ଜଙ୍ଗଲ କୁ ଯାଉନାହିଁ ତେବେ ବାଘ ଭାଲୁ ମଣିଷ ମଧ୍ୟରେ ହୋଇଥିବା କଥା ତୁ କେମନ୍ତେ ଜାଣିଲୁ?)

ଏ ଶ୍ଲୋକର ପ୍ରତ୍ୟୁତ୍ତରରେ ଅବଗୁଣ୍ଠବାନ ସ୍ତ୍ରୀ ବେଶଧାରୀ କାଳିଦାସକହିଲେ…
“ଦେବଦ୍ବିଜ ପ୍ରସାଦେନ ଜିହ୍ଵାଗ୍ରେ ମେ ସରସ୍ଵତୀତେନାହଂ ନୃପ ! ଜାନାମି,ଭାନୁମତ୍ୟାସ୍ତିଳଂ ଯଥା ।।”

ଭୋଜରାଜା ଯେତେବେଳେ ଜାଣିଲେ ଯେ ସ୍ତ୍ରୀ ବେଶଧାରୀ ବ୍ୟକ୍ତି ସ୍ବୟଂ କାଳିଦାସ ସେ ତାଙ୍କ ପ୍ରତି କରିଥିବା ନିଜ ପୂର୍ବ ଅନ୍ୟାୟ ପାଇଁ ପଶ୍ଚାତାପ କରିବା ସହ କାଳିଦାସଙ୍କୁ କୃତଜ୍ଞତା ଜଣାଇ ବହୁ ରତ୍ନ ପ୍ରଦାନପୂର୍ବକ ତାଙ୍କର ଭୁରି ଭୁରି ପ୍ରଶଂସା କରିଲେ |

©ପୂର୍ଣ୍ଣଚନ୍ଦ୍ର ଭାଷାକୋଷ

No comments:

Post a Comment

ଓଡ଼ିଆ ସାହିତ୍ୟରେ ରାଣ୍ଡ ଓ ରାଣ୍ଡୀ ଶବ୍ଦର ଵ୍ୟଵହାର ଓ ଏହାର ଵ୍ୟୁତ୍ପତ୍ତି ଇତିହାସ

କନ୍ୟାସୁନା ଗଳ୍ପରେ ଫକୀର ମୋହନ ସେନାପତି ରାଣ୍ଡ ଶବ୍ଦକୁ ଵିଧଵା ଅର୍ଥରେ ଦୁଇଥର ପ୍ରୟୋଗ କରି ଲେଖିଛନ୍ତି... “ମିଶ୍ରେ କହିଲେ, "ସେ କଥା ଏ କଥା ଢେର ତଫାତ୍ । ସେ ...