ସେହିପରି ଜଣେ ସ୍ଵାଭିମାନୀ ଓଡ଼ିଆଙ୍କୁ ଏ ଜାତି କ୍ରମଶଃ ପାଶୋରି ଯିଵାକୁ ବସିଛି । ସେହି ମହାମାନଵ ହେଉଛନ୍ତି ଆଧୁନିକ ଓଡିଆ ସାହିତ୍ୟର ଜଣେ ଅନନ୍ୟ ସ୍ରଷ୍ଟା ୰ଶ୍ରୀଉଦୟନାଥ ଷଡଙ୍ଗୀ । ଉଦୟନାଥ ଷଡ଼ଙ୍ଗୀଙ୍କର ଜନ୍ମ ୧୯୦୫ ମସିହା ମାର୍ଚ୍ଚ ୧୬ତାରିଖରେ ଜଗତସିଂହପୁର ଜିଲ୍ଲାରେ ଅଵସ୍ଥିତ ସିପି ଗ୍ରାମରେ ହୋଇଥିଲା । ସେ ଏକ ସାଧାରଣ ପରିଵେଶ ମଧ୍ୟରେ ଜନ୍ମ ଲାଭ କରିଥିଲେ ମଧ୍ୟ ଵିରଳ କାଵ୍ୟ ପ୍ରତିଭାର ଅଧିକାରୀ ହୋଇଥିଲେ ।
ଵାଲ୍ୟକାଳରେ ତାଙ୍କ ସୁଗୁଣ କ୍ରମେ ଵିକଶିତ ହେଵାକୁ ଲାଗିଲା ଏଵଂ ଵୟସ ଵୃଦ୍ଧି ସହ ଉଦୟନାଥଙ୍କ ହୃଦୟରେ ଦେଶପ୍ରେମ ଵୀଜ ଅଙ୍କୁରିତ ହେଲା । ସେତେବେଳକୁ ସ୍ୱାଧୀନତା ସଂଗ୍ରାମ ଆନ୍ଦୋଳନ ଚରମ ସ୍ତରରେ ପହଞ୍ଚିଯାଇଥାଏ । ମହାତ୍ମାଗାନ୍ଧୀଙ୍କ ଡାକରାରେ ଦେଶଯାକର ଅନେକ ଛାତ୍ରଛାତ୍ରୀ ସ୍ୱାଧୀନତା ସଂଗ୍ରାମ ଆନ୍ଦୋଳନରେ ଯୋଗ ଦେଇଥିଲେ । ଉଦୟନାଥ ମଧ୍ୟ ତନ୍ମଧ୍ୟରେ ଜଣେ ଥିଲେ ଏଵଂ ତାଙ୍କ ଘଟଣା ବହୁଳ ଜୀବନର ଏକ ଅଧ୍ୟାୟ ସ୍ୱାଧୀନତା ସଂଗ୍ରାମର ମୁକ୍ତିତୀର୍ଥ ଅଳକାଶ୍ରମରୁ ଆରମ୍ଭ ହୋଇଥିଲା । ଅଳକାଶ୍ରମରେ ସୂତାକଟା, ଲୁଗାବୁଣା ଓ ଅନ୍ୟାନ୍ୟ ଧନ୍ଦାମୂଳକଶିକ୍ଷା ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଦିଆଯାଉଥିଲା । ଏଠାରେ ରହି ଉଦୟନାଥ ଏସବୁ ଶିକ୍ଷାକୁ ଜୀଵନର ଵ୍ରତ ରୂପେ ଗ୍ରହଣ କରିନେଲେ । ପରଵର୍ତ୍ତୀ ପର୍ଯ୍ୟାୟରେ ଶ୍ରୀଉଦୟନାଥ ଷଡ଼ଙ୍ଗୀ, ବକୁଳଵନର ଛୁରୀଅନା କୁଞ୍ଜ ତଳେ ଗଢ଼ି ଉଠିଥିଵା ସତ୍ୟଵାଦୀ ଵନଵିଦ୍ୟାଳୟର ଛାତ୍ର ହୋଇଥିଲେ ।
ସେତେବେଳେ ଆର୍ଯ୍ୟ ହରିହର, ପଣ୍ଡିତ ନୀଳକଣ୍ଠ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପରି ଯୋଗଜନ୍ମା, ଜ୍ଞାନୀ, ଗୁଣୀ ଓ ସାରସ୍ୱତ ସାଧକମାନଙ୍କ ସଂସ୍ପର୍ଶରେ ଆସି ଶ୍ରୀଉଦୟନାଥଙ୍କ ଜୀଵନର ଗତିପଥ ବଦଳିଯାଇଥିଲା । ପରେ ସମାଜ ସମ୍ପାଦକ ରାଧାନାଥ ରଥଙ୍କ ସାହଚର୍ଯ୍ୟ ତାଙ୍କୁ ସାହିତ୍ୟ ସାଧନା କ୍ଷେତ୍ରରେ ଆଗକୁ ବଢ଼ିଵା ପାଇଁ ଵିଶେଷ ପ୍ରେରଣା ଦେଇଥିଲା ।
ତେବେ ଶ୍ରୀଉଦୟନାଥ ଷଡଙ୍ଗୀ କେଵଳ କବି ନୁହଁନ୍ତି, ଜଣେ ସଚ୍ଚା ସ୍ୱାଧିନତା ସଂଗ୍ରାମୀ , ଉଚ୍ଚ ଧରଣର ସ୍ତମ୍ଭକାର, ପ୍ରଖ୍ୟାତ ସାମ୍ବାଦିକ, ଵିଶିଷ୍ଟ ଅନୁଵାଦକ ଭାବେ ସେ ଖ୍ୟାତି ଅର୍ଜ୍ଜନ କରିଅଛନ୍ତି । ସେ ଜଣେ ସଫଳ ଅନୁଵାଦକ ଭାବେ ଅନୁଦିତ ସାହିତ୍ୟ କ୍ଷେତ୍ରରେ ନିଜର ଦକ୍ଷତାର ପ୍ରମାଣ ଛାଡି଼ଯାଇଛନ୍ତି । ସେ ଵିଭିନ୍ନ ଭାଷାର ଶିଶୁ ସାହିତ୍ୟକୁ ଓଡ଼ିଆ ଭାଷାରେ ଅନୁଵାଦ କରିଥିଲେ ।ତାଙ୍କ ଅନୁଦିତ ପୁସ୍ତକ ମଧ୍ୟରେ ଆରବ୍ୟ ରଜନୀ, ଇଦ୍ ପର୍ଵ, ଆଲିବାବା, ସିନ୍ଦ୍ ବାବା, ଗୌତମ ବୁଦ୍ଧ ଆଦି ଉଲ୍ଲେଖ ଯୋଗ୍ୟ । କିନ୍ତୁ ଅନୁଵାଦ ସାହିତ୍ୟ ହୋଇଥିଲେ ବି "ଟମ୍ କକାଙ୍କ କୁଟୀର" ଉପନ୍ୟାସ ପାଇଁ ଶ୍ରୀଉଦୟନାଥ ଅଜସ୍ର ଖ୍ୟାତି ଅର୍ଜନ କରିଥିଲେ । ଷ୍ଟୋବେ"ଙ୍କ ଲିଖିତ "Uncle Tom's Cabin"ର ଓଡ଼ିଆଭାଷାରେ ଏହା ଭାଵାନୁଵାଦ ଏଵଂ ଆମେରିକା ଦାସପ୍ରଥା ଉପରେ ଆଧାରିତ ଥିଲା । ଏହି ଉପନ୍ୟାସ ତାଙ୍କଦ୍ଵାରା ଅନୁଦିତ ହୋଇଥିଲେ ମଧ୍ୟ ସବୁଥିରେ ତାଙ୍କ ନିଜସ୍ୱ ମୌଳିକତାର ଛାପ ସ୍ପଷ୍ଟ ବାରିହୋଇଯାଏ । ସେ "କୋନାନ ଡଏଲ"ଙ୍କ ଲିଖିତ ଇଂରାଜୀ ବହି "Valley of Fears"କୁ ମଧ୍ୟ ଓଡ଼ିଆ ଭାଷାରେ ଅନୁଵାଦ କରିଥିଲେ ।
ଶ୍ରୀ ଉଦୟନାଥ ଷଡ଼ଙ୍ଗୀ କେତେକ ଜାତୀୟତାଵାଦୀ ଓ ଦେଶାତ୍ମବୋଧକ କଵିତା ଲେଖିଛନ୍ତି କିନ୍ତୁ ସେ ଜଣେ ଶିଶୁ ସାହିତ୍ୟିକ ଭାବେ ଵିଶେଷ ଲୋକପ୍ରିୟ ହୋଇଥିଲେ । ଯେଉଁମାନେ ତାଙ୍କ ଶିଶୁ ସାହିତ୍ୟ ସହିତ ପରିଚିତ ସେମାନେ କୁହନ୍ତି ତାହା ଅତ୍ୟନ୍ତ ରସଯୁକ୍ତ ଓ ପ୍ରାଣଵନ୍ତ , ତାଙ୍କର ଶିଶୁକଵିତା ପାଠକରି ଵା ଶୁଣି ଶିଶୁପ୍ରାଣ ଆତ୍ମହରା ଉଠିଵ । ଯଥାର୍ଥରେ ସେ ଥିଲେ ଶିଶୁ ପ୍ରାଣର ଆଶା,ଆକାଂକ୍ଷା ଓ ସୁଖଦୁଃଖର ସାର୍ଥକ ରୂପକାର ।
ଶ୍ରୀଉଦୟନାଥ ଷଡ଼ଙ୍ଗୀଙ୍କର ଟୁଉକୁମୂଷି, ଚକାଚକା ଭଉଁରୀ, ଜହ୍ନମାମୁଁ, କଥା କବିତା,ବିଲୁଆନନାର ବାହାଘର,ମିନିର ମନକଥା,ତେଲ ଲୁଣର ସଂସାର,ଓଡ଼ିଶାର ଇତିହାସ କଥା,ଭାରତର ଇତିହାସ କଥା,ପରୀରାଇଜ,ଜଳଜନ୍ତୁ ସିରିଜ୍,ଆମ ଗ୍ରହ-ଉପଗ୍ରହ, ଏମାନଙ୍କୁ ଜାଣିରଖ, ତେଲ ଲୁଣର ସଂସାର,ଜାଣିଵା କଥା ଓ ବିଚିତ୍ର ପଶୁ ଆଦି ପୁସ୍ତକ ଵିଶେଷ ଜନାଦୃତ ହୋଇଥିଲା । ତାଙ୍କର ଆତ୍ମଜୀଵନୀ “ଗାନ୍ଧି ମହାରାଜାଙ୍କ ଶିଷ୍ୟ”ରେ ତାଙ୍କ ଜୀଵନରେ ଅନେକ ଅଜଣା କଥା ଜାଣିଵାକୁ ମିଳିଥାଏ ।
ଜଣେ ଅନନ୍ୟ ପ୍ରତିଭାସମ୍ପନ୍ନ ସାହତ୍ୟ ସାଧକ ଭାବେ ଉଦୟନାଥ ଷଡ଼ଙ୍ଗୀ ନିଜ ପାଇଁ ଏକ ନିଆରା ପରିଚୟ ସୃଷ୍ଟି କରିପାରିଥିଲେ । ତାଙ୍କର ସାମଗ୍ରିକ ସାହିତ୍ୟ କୃତି ପାଇଁ ସେ ଅନେକ ସମ୍ମାନର ଅଧିକାରୀ ହୋଇପାରିଥିଲେ । ଶ୍ରୀ ଉଦୟନାଥ ଷଡ଼ଙ୍ଗୀ ପ୍ରଜାତନ୍ତ୍ର ପ୍ରଚାର ସମିତି , ଓଡ଼ିଶା ସାହିତ୍ୟ ଏକାଡ଼େମୀ , ଉତ୍କଳ ପାଠକ ସଂସଦ, ଗୋକର୍ଣ୍ଣିକା ସାହିତ୍ୟ ସମାଜ ଆଦି ବହୁ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ ହୋଇଥିଲେ ।
ଶ୍ରୀ ଷଡ଼ଙ୍ଗୀଙ୍କର ୧୯୯୯ ମସିହା ଜାନୁୟାରୀ ୮ତାରିଖରେ ତିରୋଧାନ ହୋଇଯାଇଥିଲା । ସଂଗ୍ରାମୀକଵି ଶ୍ରୀଉଦୟନାଥ ଷଡ଼ଙ୍ଗୀ ଆଜି ଆଉ ଆମ ଗହଣରେ ନାହାଁନ୍ତି ସତ କିନ୍ତୁ ତାଙ୍କର ଉଦବୋଧନୀ ଵା ଦେଶାତ୍ମବୋଧକ କଵିତା ଓ ଅନ୍ୟାନ୍ୟ ସାହିତ୍ୟିକ କୃତି ଓଡ଼ିଆ ଜାତିର ଅସ୍ତିତ୍ବ ଥିଵା ଯାଏଁ ଅମର ରହିଥିଵ ।
ମୁକର ପତ୍ରିକାରେ ବହୁ ଵର୍ଷ ତଳେ ସଂଗ୍ରାମୀକଵି ଶ୍ରୀଉଦୟନାଥ ଷଡ଼ଙ୍ଗୀଙ୍କର ଗୋଟିଏ ଜାତୀୟତାଵାଦୀ କଵିତା “ଭାସିଯାଆ ମୋର ବୋଇତ” ପ୍ରକାଶିତ ହୋଇଥିଲା ତାହା ନିମ୍ନରେ ପ୍ରଦତ୍ତ ହେଲା...
⛵⛵⛵⛵⛵⛵⛵⛵⛵⛵⛵⛵
⛵⛵ଭାସିଯାଆ ମୋର ବୋଇତ ⛵⛵
⛵⛵⛵⛵⛵⛵⛵⛵⛵⛵⛵⛵
(📝କଵି—୰ଶ୍ରୀଉଦୟନାଥ ଷଡ଼ଙ୍ଗୀ)
(୧)
ଭାସିଯାଆ ମୋର ବୋଇତ ଭାସି ଯାଆରେ ଖରେ, ଭେଟିବୁ ଓଡ଼ିଆ ବଣିକେ ଏହି ଦରିଆ ପାରେ ।
ଦେଖିବୁ କେତେ ଯେ ବୋଇତ ଜାଭା ବୋର୍ଣ୍ଣିଓ କୂଳେ, ଚିହ୍ନିବୁ ଵିଜୟୀ-ବଣିକେ, ତୋର ଭାଇ ସକଳେ । ଚାରୁଶିଳ୍ପ-ଭୂଷା-ଉତ୍ତୁଙ୍ଗ ପାଲ ଦେଖିବୁ ଯହିଁ
ଜାଣିବୁ ସେ ପୋତ ଗଢି଼ଛି ତୋର ଓଡ଼ିଆ ଭାଇ ।
କାନ୍ଦି କନ୍ଦାଇବୁ ବଣିକେ ଓଡ଼ିଶାର ସର୍ଵସ୍ଵ
ତାଙ୍କ ଵିନେ ମାତା କାଙ୍ଗାଳୀ, ସୁଧା ହୋଇଛି ଵିଷ !
(୨)
ଭାସିଯାଆ ମୋର ତରୀଟି ଟେକି ତୋ କ୍ଷୁଦ୍ର ପାଲ, ଭେଟିବୁ ସେ ଦେଶ, ଯେ ଦେଶେ ଗଲେ ଓଡ଼ିଆ-ଵୀର ଖାଇବେଳ, ଐର ସମ୍ରାଟ ମାତା ମୁକୁଟ-ମଣି,
ଦଳିଥଲେ ପରା ସଦର୍ପେ ପଞ୍ଚନଦ-ଵାହିନୀ ।
ପଵିତ୍ର ଗାଙ୍ଗେୟ ପ୍ରଦେଶୁଁ ଦୂର କୁମାରୀ ଯାଏ, ଉଡା଼ଇଲେ ଜୟ-କେତନ ତୋର ଯୋଗୁଁ ନିର୍ଭୟେ ।
ଧନ-ରତ୍ନ ପୂର୍ଣ୍ଣ ବନ୍ଦର ଉଚ୍ଚେ ଟେକିଲେ ମଥା,
ଆଜି ବାୟୁ ସଙ୍ଗେ କେଵଳ ଯହିଁ ଖେଳେ ସିକତା ।
(୩)
ଭାସିଯାଆ ମୋର ବୋଇତ ପଛେ ନ ଚାହାଁ ଫେରି, ମର-ବଇକୁଣ୍ଠ ହୋଇଛି ଆଜି ଵିଗତ-ଶିରୀ ।
ଏହି ତ ସେ ଦେଶ, ଯେ ଦେଶେ କାଞ୍ଚି-କାଞ୍ଚନ-ଜେମା, ଜିଣି ଆଣିଥିଲେ ଵିଜୟୀ, ଦୂରୁଁ ମର୍ତ୍ତ୍ୟର ରମା ।
ଏହି ସେ ଚିଲିକା ଯା ଵକ୍ଷ ଶତ ଓଡ଼ିଆ ତରୀ,
ଭସୁଥିଲା ଦିନେ ଉଲ୍ଲାସେ ଜୟ-କେତନ ଧରି । ସାଧଵାଣୀ ମନ ପୁଲକେ ଆଣି ଅରଘଥାଳୀ,
ନେଉଥିଲା ବଇତେ ଘରେ ବନ୍ଦାଇ ତରୀ ।
(୪)
ଭାସିଯାଆ ମୋର ବୋଇତ ନୋହି ନିରାଶ ତିଳେ,
ଅସିଵ ସେଦିନ, ପୂଜିଵେ ତୋତେ ଓଡି଼ଆ-ଵୀରେ । ଉଠିଵ ଓଡ଼ିଶା ଆକାଶେ ଵୀର ଓଡି଼ଆ ଗାନ,
ଉଡି଼ଵ ପଵନ ଲହରେ ତୋର ଜୟ-କେତନ ।
ନିଳାମ୍ବୁ -ଚିଲିକା ହରଷେ ଦିନେ ଉଠିଵ ନାଚି,
ଭାସିଵ ସହସ୍ର ବୋଇତ ଭାଙ୍ଗି ସାଗର ଵୀଚି । ଓଡି଼ଆ-ଗୌରଵ-ଭଣ୍ଡାର କୋଣାରକ ତ ଦିନେ,
ତେଜି ଜୀର୍ଣ୍ଣଵପୁ ହସିଵ ସେହି ଦୂର-ପୁଳୀନେ I
ଖଣ୍ଡ ଖଣ୍ଡ ଵପୁ ତାହାର ଏକ ହୋଇଵ ମିଶି,
ଭାଇ ଭାଇ ଘରେ ଆସିଵ କୋଳ କରିଵ ହସି ।
ଗାଇବ ଵିଜୟ-ସଙ୍ଗୀତ ଉଚ୍ଚେ ଓଡ଼ିଆ ଭାଟ,
ବୋହିଵ ଓଡ଼ିଆ ଵାହୁରେ ପୂର୍ଵ ଶୋଣିତ ସ୍ରୋତ ।
ଭାସିଯାଆ ମୋର ବୋଇତ ଭାସିଯାଆ ମଉନେ, ସେତେବେଳେ ବାନ୍ଧି ଆଣିବି ମୁହିଁ ପୁଲକ ପ୍ରାଣେ ।
————×————
No comments:
Post a Comment